ଆସୁଛି ଆଉ ଏକ ଲଘୁଚାପ : ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମକୁ ମୁହାଁଇ ଆସନ୍ତାକାଲି ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୁଦୃଶ୍ୟ ଲଘୁଚାପର ରୂପ ନେବ। ତା’ପରେ ଏହା ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କଲା ବେଳେ ଆଗାମୀ ଦୁଇ ଦିନରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜିଠାରୁ ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା କିଛି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।