1 min read

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଗଞ୍ଜାମରେ ବ୍ୟାପକ ପ୍ରସ୍ତୁତି

ଅଦ୍ୟାବଧି ୨୫ ହଜାରରୁ ଊର୍ଦ୍ଧ୍ୱ ଲୋକ ସ୍ଥାନାନ୍ତରିତ, ତିନି ଦିନ ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ, କଳାବଜାରୀ ରୋକିବାକୁ କଡ଼ା ନଜର

ବ୍ରହ୍ମପୁର: ସମ୍ଭାବ୍ୟ ବାତ୍ୟା ‘ଅକଭାନ’କୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାରେ ଜନସାଧାରଣଙ୍କ ଧନଜୀବନ ସୁରକ୍ଷା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ ପ୍ରତିଷେଧକ ପଦକ୍ଷେପ ଗ୍ରହଣ କରାଯାଇଛି। ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ଓ ପବନର ସମ୍ଭାବନା ଥିବାରୁ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ଚିକିଟିଠାରୁ ଖଲ୍ଲିକୋଟ ଓ ଚିଲିକା ସଂଲଗ୍ନ ଅଞ୍ଚଳ ପର୍ଯ୍ୟନ୍ତ ସତର୍କତା ଅବଲମ୍ବନ କରାଯାଇଛି। ସ୍ଥାନାନ୍ତର, ଆଶ୍ରୟସ୍ଥଳୀ ପରିଚାଳନା, ଖାଦ୍ୟ ଓ ସ୍ୱାସ୍ଥ୍ୟସେବା, ଉଦ୍ଧାର କାର୍ଯ୍ୟ ଏବଂ ଜରୁରୀକାଳୀନ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରାଯାଇଛି। ଅଦ୍ୟାବଧି ୨୫ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ବିପଦସଙ୍କୁଳ ଅଞ୍ଚଳରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇ ଆଶ୍ରୟସ୍ଥଳୀରେ ରଖାଯାଇଛି। ସମସ୍ତ ଆଶ୍ରୟସ୍ଥଳୀରେ ଆବଶ୍ୟକୀୟ ସୁବିଧା ଓ ବ୍ୟବସ୍ଥା ସୁନିଶ୍ଚିତ କରାଯାଇଛି। ଉପକୂଳବର୍ତ୍ତୀ, ଦୁର୍ଗମ ଓ ଭୂସ୍ଖଳନପ୍ରବଣ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ ବରିଷ୍ଠ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିବା ସହ ସ୍ଥାନାନ୍ତର କାର୍ଯ୍ୟର ତଦାରଖ କରୁଛନ୍ତି।

Leave a Reply

Your email address will not be published. Required fields are marked *